କାର୍ତ୍ତିକ ପୂର୍ଣ୍ଣିମା

Nov 24, 2026 - 16:50
କାର୍ତ୍ତିକ ପୂର୍ଣ୍ଣିମା

 

କାର୍ତ୍ତିକ ମାସର ଶେଷ ତିଥି କାର୍ତ୍ତିକ ପୂର୍ଣ୍ଣିମା ବା ରାସ ପୂର୍ଣ୍ଣିମା ନାମରେ ପରିଚିତ । ଓଡ଼ିଶାର ଆଚାର ବିଚାର, ଚାଲିଚଳଣି ତଥା ଧର୍ମୀୟ ଭାବନା ସହିତ ଏହି ପର୍ବ ଜଡ଼ିତ । ଉତ୍କଳର ପ୍ରାଚୀନ ଇତିହାସ ଓ ଖ୍ରୀଷ୍ଟପୂର୍ବୀୟ କାଳରେ ଓଡ଼ିଶାରେ ନୌବାଣିଜ୍ୟ ଦୃଷ୍ଟିକୋଣରୁ ଏହି ପର୍ବର ବୈଶିଷ୍ଟ୍ୟ ରହିଛି। ଏହି ପର୍ବରେ ଦୁର୍ଗାଙ୍କ ଶାରଦୀୟ ବନ୍ଦନା ପରେପରେ ଚନ୍ଦ୍ର ଏବଂ କାଳୀଙ୍କ ଆରାଧନା କରାଯାଏ । ସେହିଭଳି ଦେବ ସେନାପତି ଚିର କୁମାର କାର୍ତ୍ତିକେୟଙ୍କ ଆରାଧନା ମଧ୍ୟ ଏହି ମାସରେ ସମ୍ପାଦିତ ହୁଏ ।

ବୈଶିଷ୍ଟ୍ୟ

ଓଡ଼ିଶାର ଆଦିକବି ସାରଳା ଦାସ ରଚିତ ମହାଭାରତର ଆଦିପର୍ବରେ କାର୍ତ୍ତିକ ମାସର ପବିତ୍ରତା ସମ୍ପର୍କରେ ବର୍ଣ୍ଣନା କରିଛନ୍ତି । ଏହିପର୍ବରେ ବର୍ଣ୍ଣିତ କାର୍ତ୍ତିକ ପୂର୍ଣ୍ଣିମା ଦିନ ଭୋଜରାଜ ଓ ଭୀଷ୍ମଙ୍କ ଗଙ୍ଗାସ୍ନାନ ଯାତ୍ରା ପ୍ରସଙ୍ଗରେ ଦର୍ଶାଯାଇଛି। କାର୍ତ୍ତିକ ମାସରେ ମୃତ୍ୟୁବରଣ କଲେ ବୈକୁଣ୍ଠ ପ୍ରାପ୍ତି ହୁଏବୋଲି ଏଠାରେ ବର୍ଣ୍ଣନା ରହିଛି । ପୁନଶ୍ଚ କାର୍ତ୍ତିକ ଏକ ଧର୍ମ ମାସ ରୂପେ ମଧ୍ୟ ପରିଚିତ । ଏହି ମାସରେ ଧର୍ମପ୍ରାଣ ଆବାଳ - ବୃଦ୍ଧ - ବନିତା ପ୍ରତ୍ୟହ ପ୍ରାତଃକାଳରେ ସ୍ନାନ ସମାପନ ପୂର୍ବକ ଦେବ ଦର୍ଶନ ଏବଂ ନଗର ସଂକୀର୍ତ୍ତନ ଆଦି କରିଥାନ୍ତି । ପୂର୍ଣ୍ଣିମା ପାଞ୍ଚଦିନ ପଞ୍ଚକ ପର୍ବ ବା ମହାପଞ୍ଚୁକ ନାମରେ ପରିଚିତ । ଏହି ପାଞ୍ଚଦିନ ପ୍ରତ୍ୟେକ ହିନ୍ଦୁ ଆମିଷ ପରିହାର ପୂର୍ବକ ପୂଜା କରିଥାନ୍ତି । କୁହାଯାଏ ଯେ ଏହି ପାଞ୍ଚଦିନକାଳ ବଗ ମଧ୍ୟ ଆମିଷ ସ୍ପର୍ଶ କରେ ନାହିଁ । ଏହି ମାସର ଶୁକ୍ଳପକ୍ଷ ଏକାଦଶୀ ବା ବଡ଼ ଏକାଦଶୀଠାରୁ ପୂର୍ଣ୍ଣମୀ ପାଞ୍ଚଦିନ ଧରି ଅନୁଷ୍ଠିତ ମହାପଞ୍ଚକ ହିନ୍ଦୁମାନଙ୍କ ପାଇଁ ଧର୍ମଗତ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ । ଏହି ଦିନ ମହିଳାମାନେ ରାଇ- ଦାମୋଦର ବ୍ରତର ଉଦ୍ ଯାପନ କରିଥାନ୍ତି । ବିଧବାମାନେ ଏହି ମାସରେ ହବିଷ୍ୟ ପାଳନ ପୂର୍ବକ ପ୍ରତ୍ୟହ ସନ୍ଧ୍ୟାରେ ଆକାଶଦୀପ ପ୍ରଜ୍ଜଳନ କରିଥାନ୍ତି । ତୁଳସୀ ବୃକ୍ଷକୁ ଏହିମାସରେ ଅତ୍ୟନ୍ତ ଭକ୍ତି ସହକାରେ ଆରାଧନା କରାଯାଏ । କିମ୍ବଦନ୍ତୀ ରହିଛି ଯେ ରାକ୍ଷସ ଜଳନ୍ଧର ନିଜ ସତୀ ସ୍ୱାଧୀ ପତ୍ନୀ ତୁଳସୀଙ୍କ ପାତିବ୍ରତ୍ୟ ବଳରେ ବଳୀୟାନ ହୋଇ ଉଠିଥିଲା ଏବଂ ବୃନ୍ଦାବତୀଙ୍କ ସତୀତ୍ୱ ଅମ୍ଳାନ ରହିଥିବା ପର୍ଯ୍ୟନ୍ତ ଦେବତାମାନେ ବହୁ ଚେଷ୍ଟା ସତ୍ତ୍ୱେ ଜଳନ୍ଧର କୌଣସି ଅନିଷ୍ଟ କରିପାରି ନଥିଲେ । ଅନେକ ସ୍ଥାନରେ ଏହି ସମୟରେ ଆକାଶ ଦ୍ବୀପ ପ୍ରଜ୍ବଳନର ପ୍ରଥା ରହିଛି । ଗ୍ରାମରେ ଏକ ଉଚ୍ଚ ବାଉଁଶ ଖୁଣ୍ଟ ଉପରେ ପ୍ରତି ସନ୍ଧ୍ୟାରେ ଆକାଶଦୀପ ରଖାଯାଇଥାଏ । ପୂର୍ଣ୍ଣିମା ଅବସରରେ କଦଳୀପଟୁଆ ନିର୍ମିତ ଡଙ୍ଗା ଭସାଇବାର ବିଧି ପ୍ରଚଳିତ । ଏହିଦିନ ପ୍ରତ୍ୟୁଷରୁ ଆବାଳ - ବୃଦ୍ଧା - ବନିତା ନଦୀ ବା ପୁଷ୍କରଣୀରେ ବୁଡ ପକାଇ କଦଳୀ ବାହୁଙ୍ଗା ବା ସୋଲ ତିଆରି ଖେଳଣା ଡଙ୍ଗାରେ ଦୀପ ଜାଳି ଏବଂ ସେଥିରେ ପାନଗୁଆ ଥୋଇ ସେସବୁ ଭସାଇ ଥାଆନ୍ତି । ଏହି ସମୟରେ ଗାନ କରନ୍ତି 'ଆ କା ମା ବୈ, ପାନ ଗୁଆ ଥୋଇ ପାନ ଗୁଆ ତୋର, ମାସକ ଧରମ ମୋର ।’ ବିଶ୍ୱାସ ରହିଛି ଯେ ଏହିଦିନ ପ୍ରତ୍ୟୁଷରୁ ସ୍ନାନପୂର୍ବକ ଦେବଦର୍ଶନ କଲେ ସମସ୍ତ ପ୍ରକାର ପାପ ନାଶ ହୋଇଥାଏ । ଆଷାଢ଼, କାର୍ତ୍ତିକ, ମାଘ ଓ ବୈଶାଖ - ଏଇ ଚାରିମାସ ହେଉଛି ସୂର୍ଯ୍ୟଙ୍କର ଅୟନାନ୍ତ କାଳ । ଏହି ଅୟନାନ୍ତ ଦିବସମାନଙ୍କରେ ସୌରଦେବଙ୍କ ଉପାସନା କରାଯାଏ । ପୌରାଣିକ ଅନୁଧ୍ୟାନରୁ ଏହି ଚାରିମାସ ଧର୍ମ ଦୃଷ୍ଟିରୁ ଶୁଭପ୍ରଦ ଏବଂ ଦେବଦେବୀଙ୍କ ଉପାସନା ସକାଶେ ଅତ୍ୟନ୍ତ ଅନୁକୂଳ । ତେବେ କାର୍ତ୍ତିକ ପୂର୍ଣ୍ଣିମା ଅବସରରେ  କେବଳ ଓଡ଼ିଶା ନୁହେଁ ଥାଇଲାଣ୍ଡରେ ମଧ୍ୟ କଦଳୀପଟୁଆ ନିର୍ମିତ ଛୋଟଛୋଟ ଡଙ୍ଗା ଭସାଇବା ପରମ୍ପରା ପ୍ରଚଳିତ। ଏହି ପୂର୍ଣ୍ଣିମା ଅବକାଶରେ ପ୍ରାଚୀନ ଉତ୍କଳର ରାଜଧାନୀ କଟକନଗରୀ ଉପକଣ୍ଠସ୍ଥ ବାରବାଟୀ ଦୁର୍ଗ ନିକଟବର୍ତ୍ତୀ ପଡ଼ିଆରେ ବାଲିଯାତ୍ରା ଅନୁଷ୍ଠିତ ହୁଏ ।  ଉତ୍କଳର ବିଲୁପ୍ତ ନୌପରମ୍ପରା ସହିତ ଏହାର ସଂପୃକ୍ତି ରହିଛି । କାର୍ତ୍ତିକ ପୂର୍ଣ୍ଣିମା ବୋଇତ ବନ୍ଦାଣ ଦିବସ ନାମରେ ମଧ୍ୟ ଖ୍ୟାତ । ଏହି ଅବସରରେ ଅନେକ ସ୍ଥାନରେ ବୋଇତ ବନ୍ଦାଣ ଅନୁଷ୍ଠିତ ହୋଇଥାଏ ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)