ରଥ ନିର୍ମାଣର ପରମ୍ପରା

Jul 17, 2026 - 15:38
ରଥ ନିର୍ମାଣର ପରମ୍ପରା

 

ପରମ୍ପରା ଅନୁସାରେ ପୁରୀରେ ପ୍ରତିବର୍ଷ ସମ୍ପୁର୍ଣ୍ଣ ଭାବେ ନୂଆ କାଠରେ ରଥ ତିଆରି କରାଯାଏ । ରଥଯାତ୍ରା ପରେ ରଥଗୁଡ଼ିକୁ ଭାଙ୍ଗି ଦେଇ, କାଠଗୁଡ଼ିକୁ ମନ୍ଦିର ରୋଷଘରେ ବ୍ୟବହାର କରାଯାଉଥିଲା। ହେଲେ ୨୦୧୨ ମସିହାଠାରୁ ରଥର କିଛି ଅଂଶକୁ ବିକ୍ରି ମଧ୍ୟ କରାଯାଉଛି । ଶ୍ରୀଜଗନ୍ନାଥ ମହାପ୍ରଭୁ ଯେଉଁ ରଥରେ ବିରାଜମାନ କରି ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବ ଦିନ ଯାତ୍ରା କରନ୍ତି, ସେ ରଥର ନାମ ନନ୍ଦିଘୋଷ। ସେହି ପରି ଶ୍ରୀବଳଭଦ୍ରଙ୍କ ରଥର ନାମ ତାଳଧ୍ୱଜ ଓ ଶ୍ରୀସୁଭଦ୍ରାଙ୍କ ରଥର ନାମ ଦେବଦଳନ ବା ଦର୍ପଦଳନ । ପ୍ରତ୍ୟେକ ପର୍ଷ ପରମ୍ପରା ଅନୁଯାୟୀ ଶ୍ରୀନଅର ସମ୍ମୁଖସ୍ଥ ରଥଖଳାରେ ନୂତନ ଭାବେ ତୋନୋଟି ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ । ଏ ବାବଦରେ ବିଭିନ୍ନ କାର୍ଯ୍ୟ ରାଜ୍ୟ ତଥା ଜିଲ୍ଲା ପ୍ରଶାସନ, ବିଧି ବିଭାଗ, ଶ୍ରୀମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ ଓ ପୌର ପ୍ରଶାସନ ତରଫରୁ ମିଳିତ ଭାବେ ସମ୍ପାଦିତ ହୋଇଥାଏ । ରଥ ନିର୍ମାଣ ତଥା ରଥଯାତ୍ରାର ପ୍ରଥମ ଶୁଭାରମ୍ଭ ହୋଇଥାଏ ସରସ୍ୱତୀ ପୂଜା ଶ୍ରୀପଞ୍ଚମୀ ତିଥିଠାରୁ । କେତେକ ନିର୍ଦ୍ଦିଷ୍ଟ ତିଥିରେ ତିନି ରଥମାନଙ୍କର ନିର୍ଦ୍ଦିଷ୍ଟ କାର୍ଯ୍ୟର ଶୁଭାରମ୍ଭ ହୋଇଥାଏ । ଯଥା - ଶ୍ରୀପଞ୍ଚମୀ ଦିନ ରଥକାଠ ପୁରୀରେ ପହଞ୍ଚିବା ସଙ୍ଗେ ସଙ୍ଗେ ଅନୁକୂଳ ନୀତି ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ହୋଇଥାଏ । ଶ୍ରୀରାମ ନବମୀ ଦିନ ରଥକାଠ ଚିରା କାର୍ଯ୍ୟର ଅନୁକୂଳ ମନୋନୀତ କରତ କଳରେ ହୋଇଥାଏ। ଅକ୍ଷୟ ତୃତୀୟା ଦିନ ତିନି ରଥ ଶୁଭାରମ୍ଭ କାର୍ଯ୍ୟର ଅନୁକୂଳ ହୋଇଥାଏ । ଉକ୍ତଦିନ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ଅନ୍ୟାନ୍ୟ ଶୋତ୍ରୀୟ ବ୍ରାହ୍ମଣମାନଙ୍କଦ୍ୱାରା ରଥ ନିର୍ମାଣ ଉପଲକ୍ଷେ ଶୁଭାରମ୍ଭ କାର୍ଯ୍ୟ ଯଜ୍ଞ ଓ ଆନୁସଙ୍ଗିକ ପୂଜା, ନୀତି ଇତ୍ୟାଦି ଅନୁଷ୍ଠିତ ହେବା ସଙ୍ଗେ ସଙ୍ଗେ ପୂଜାପଣ୍ଡା ତିନି ରଥ ନିର୍ମାଣର ଅନୁକୂଳ ନିମନ୍ତେ ଅଜ୍ଞାମାଳ ପ୍ରଦାନ କରିଥାନ୍ତି । ଏଠାରେ ବିଶ୍ୱକର୍ମା ମହାରଣା, ରୂପକାର , ଭୋଇ ଇତ୍ୟାଦି ସେବକମାନେ ଶାଢ଼ୀ ବନ୍ଧାଇଥାନ୍ତି। ଏହା ପରେ ନୃସିଂହ ଚତୁର୍ଦ୍ଦଶୀ ଦିନ ଗୁଜ ଅନୁକୂଳ, ଶ୍ରୀକ୍ଷେତ୍ର ଭଉଁରୀ ଦିନ ପ୍ରତ୍ୟେକ ରଥର ଦୁଇଟି ଲେଖାଏଁ ଚକ ଡେରା ହୋଇଥାଏ ଓ ଶ୍ରୀମନ୍ଦିରରୁ ଆଜ୍ଞାମାଳ ଆସି ଏହା ଉପରେ ଲାଗି କରାଯାଇଥାଏ । ଦେବସ୍ନାନ ପୂର୍ଣ୍ଣିମା ଦିନ ପ୍ରତି ରଥର ଚାରିନାହାକା ଡେରା ଅନୁକୂଳ ଓ ନେତ୍ରୋତ୍ସବ ଦିନ (ରଥଯାତ୍ରା ପୂର୍ବ ଦିନ) ଅପରାହ୍ନ ସୁଦ୍ଧା ତିନିଟି ଯାକ ରଥ ସୁସଜ୍ଜିତ ହୋଇ ଶ୍ରୀନଅରସ୍ଥିତ ରଥଖଳାରୁ ଟଣା ହୋଇ ସିଂହଦ୍ୱାର ସମ୍ମୁଖରେ ରଖାଯାଏ ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।