31 OCTOBER 2026

Welcome!

Unlock your personalized experience.
Sign Up

Errors in textbooks: ପାଠ୍ୟପୁସ୍ତକରେ ତ୍ରୁଟି ପ୍ରସଙ୍ଗ: ରାଜ୍ୟ ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ

Oct 31, 2026 - 05:07
Errors in textbooks: ପାଠ୍ୟପୁସ୍ତକରେ ତ୍ରୁଟି ପ୍ରସଙ୍ଗ: ରାଜ୍ୟ ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ

କଟକ: ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଛାତ୍ରଛାତ୍ରୀଙ୍କୁ ତ୍ରୁଟିମୁକ୍ତ ପାଠ୍ୟପୁସ୍ତକ ଯୋଗାଇବାରେ ସରକାରୀ ଅବହେଳା ଅଭିଯୋଗ ନେଇ ଦାୟର ଜନସ୍ୱାର୍ଥ ମାମଲାକୁ ହାଇକୋର୍ଟ ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ଏକ ସପ୍ତାହ ଭିତରେ ଜବାବ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେବା ସହିତ ନଭେମ୍ବର ୯କୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରିଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ୍‌ ହରିଶ ଟଣ୍ଡନ ଓ ଜଷ୍ଟିସ୍‌ ଚିତ୍ତରଞ୍ଜନ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ମାନବାଧିକାର କର୍ମୀ ଆଇନଜୀବୀ ପ୍ରବୀର କୁମାର ଦାସଙ୍କ ଜନସ୍ବାର୍ଥ ଆବେଦନର ଶୁଣାଣି କରି ଏହି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି।

ମାମଲାରେ ଆବେଦନକାରୀ ଦର୍ଶାଇଛନ୍ତି ଯେ ସମ୍ବିଧାନର ଧାରା ୨୧(କ), ଶିକ୍ଷା ଅଧିକାର ଆଇନ, ୨୦୦୯ ଅନୁସାରେ ୬ରୁ ୧୪ ବର୍ଷ ବୟସ୍କ ପିଲାମାନଙ୍କୁ ମାଗଣା ଓ ବାଧ୍ୟତାମୂଳକ ଶିକ୍ଷା ପ୍ରଦାନ କରାଯିବା ସହିତ ତ୍ରୁଟିମୁକ୍ତ ପାଠ୍ୟପୁସ୍ତକ ଯୋଗାଇ ଦିଆଯିବା କଥା। ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଏସ୍‌ସିଇଆରଟି ଦ୍ୱାରା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରକାଶିତ ୫୫ଟି ପାଠ୍ୟପୁସ୍ତକରେ ମୋଟ ୧,୬୭୮ଟି ବଡ଼ଧରଣର ତ୍ରୁଟି ଦେଖିବାକୁ ମିଳିଥିଲା। ଜୁନ ୧୭ରେ ଉନ୍ନୟନ କମିସନରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମଟି ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟ ସରକାର ଏସ୍‌ସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ କୁମାର ପାଢ଼ୀଙ୍କ ସମେତ ୪ ଜଣ ବରିଷ୍ଠ ଅଧିକାରୀଙ୍କୁ ନିଲମ୍ବିତ କରିଥିଲେ।

କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରି ପୂର୍ବତନ ନିର୍ଦ୍ଦେଶକଙ୍କୁ ଗିରଫ ମଧ୍ୟ କରିଥିଲା। ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ପ୍ରକାଶନ ଓ ଯୋଗାଣ ପାଇଁ ରାଜକୋଷକୁ ପ୍ରାୟ ୧୭୫ କୋଟି ଟଙ୍କାର କ୍ଷତି ପହଞ୍ଚିଛି ବୋଲି କୁହାଯାଉଛି। ନିର୍ଦ୍ଦିଷ୍ଟ ସମୟସୀମା ଭିତରେ ଛାତ୍ରଛାତ୍ରୀମାନଙ୍କୁ ତ୍ରୁଟିମୁକ୍ତ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଉ ବୋଲି ଆବେଦନରେ ଉଲ୍ଲେଖ ହୋଇଛି। ଭବିଷ୍ୟତରେ ଏଭଳି ଭୁଲ୍ ଯେପରି ନ ହେବ ସେଥିପାଇଁ ଉନ୍ନୟନ କମିସନରଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିର ସୁପାରିସଗୁଡ଼ିକୁ ଲାଗୁ କରାଯାଉ ବୋଲି ଆବେଦନକାରୀ ଦର୍ଶାଇଛନ୍ତି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)