ସପ୍ତାହେ ଯାଏ ଛେଚିବ: ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୨୪ା୭ (ବନ୍ଦନା ସେଠୀ):ସମୁଦ୍ର ପତ୍ତନରେ ଜାରି ରହିଥିବା ଟ୍ରଫ୍ ଲାଇନ୍ ପ୍ରଭାବରେ ରାଜ୍ୟରେ ଆହୁରି ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ସମ୍ଭାବନା ରହିଛି। ସେହିପରି ରାଜ୍ୟର ଅନ୍ୟାନ୍ୟ ଜିଲା ସମେତ ଶୁକ୍ରବାର ପୁରୀରେ ଝଡ଼ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ତେଣୁ ରଥଯାତ୍ରା ଭଳି ବାହୁଡ଼ା ଯାତ୍ରା ମଧ୍ୟ ବର୍ଷାରେ ଭିଜିବ ବୋଲି ଏକ ପ୍ରକାର ସ୍ପଷ୍ଟ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବାବେଳେ ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ବାଲେଶ୍ୱର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼ ଜିଲାକୁ ଝଡ଼ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଲାଗି ରହିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।